ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ଯବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି